୧୮ରେ ରତ୍ନଭଣ୍ଡାର ଯାଞ୍ଚ କରିବ ASI, ବ୍ୟାଘାତ ହେବନି ନୀତିକାନ୍ତି ଓ ସେବାପୂଜା

Published By : Prameya-News7 Bureau | September 13, 2024 IST

ପୁରୀ  ୧୩/୦୯: ASI ପକ୍ଷରୁ ଆସନ୍ତା ୧୮ ସେପ୍ଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ ଅନୁଷ୍ଠିତ ହେବ । ASI ର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ନିରୀକ୍ଷଣ ହେବ। 

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହା ଅନୁଷ୍ଠିତ ହେବ। ତେଣୁ ଏହି ଦିନ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି l ୧୮ ତାରିଖ ବୁଧବାର ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ୧ଟା ରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। 

ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ୍ କୋଠରୀକୁ ସ୍ଥାନାନ୍ତରଣ ଏବଂ ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇ ସାରିଛି। ତାପରେ ASI କୁ ସଂରକ୍ଷଣ ତଥା ମରାମତି କାର୍ଯ୍ୟ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ। 

ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା। ଏହା  ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍.ଆଇ କୁ ଅନୁରୋଧ କରାଯାଇଥିଲା l ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଂଚ ପରେ ASI ରତ୍ନ ଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ମୁଖ୍ଯ ପ୍ରଶାସକ ଅନୁରୋଧ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.