ସେବା ଓ ସଂକଳ୍ପ ମନୋଭାବ ନେଇ ରାଜ୍ୟର ବିକାଶ ପାଇଁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନ ସାରା ଜୀବନ ଉତ୍ସର୍ଗ କରିଥିଲେ : ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | March 17, 2025 IST

ଭୁବନେଶ୍ୱର ୧୭।୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ । ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟ କରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ରାଜ୍ୟର ବିକାଶ ପାଇଁ ସେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି । 

ରାଜ୍ୟ ବିଜେପିର ସଭାପତି ଭାବେ ଦୃଢ ନେତୃତ୍ୱ ନେଇ ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି । ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ୍ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ । ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

You Can Read:

ସମାଜକୁ ମାଣ୍ଡିଆର ଉପକାରିତା ବାର୍ତ୍ତା ଦେଲେ ଗଣଶିକ୍ଷା ମନ୍ତ୍ରୀ, ପିଇଲେ ମାଣ୍ଡିଆ ପେଜ


  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.