ଭୁବନେଶ୍ୱର ୨୧।୪: ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସରରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ଥିଲେ ସହଯୋଗୀ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀ । ଲୋକଙ୍କ ଅଭିଯୋଗ ଶୁଣି ଏହାର ସମାଧାନ କରିବାକୁ ସମ୍ପୂର୍ଣ୍ଣ ରାଜ୍ୟ ପ୍ରଶାସନ ଥିଲା ସମ୍ବଲପୁରରେ । ସୋମବାର ଥିଲା ଅଭିଯୋଗ ଶୁଣାଣିର ୧୦ମ ପାଳି । ଏହା ଥିଲା ଅନ୍ୟ ନଅ'ଟି ପାଳି ଠାରୁ ଭିନ୍ନ, କାରଣ ସରକାରଙ୍କ ପାଖକୁ ଲୋକ ଆସି ନାହାନ୍ତି, ସରକାର ଆସିଛନ୍ତି ଲୋକଙ୍କ ଅଭିଯୋଗ ଶୁଣିବାକୁ । ରବିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ ସମ୍ବଲପୁରରେ ପହଞ୍ଚି ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ସମ୍ବଲପୁରରେ ଏ ଜନ ଶୁଣାଣି କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ଶୁଭଙ୍କର । ସରକାରଙ୍କ ପାଇଁ, ଲୋକଙ୍କ ପାଇଁ, ଓଡ଼ିଶା ରାଜ୍ୟ ପାଇଁ ଓ ସର୍ବୋପରି ଗଣତନ୍ତ୍ର ପାଇଁ ଏକ ସକରାତ୍ମକ ବାର୍ତ୍ତା ଦେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଆମର ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନ ଆମକୁ ଲୋକଙ୍କ ଆହୁରି ନିକଟତର ହେବାକୁ ପ୍ରେରଣା ଦେଇଛି ବୋଲି ସେ କହିଛନ୍ତି ।
ଆମର ଉଦ୍ଦେଶ୍ୟ ହେଉଛି ରାଜ୍ୟର ବୃହତ୍ତର ବିକାଶର ଲକ୍ଷ୍ୟ ପୂରଣ ଭିତରେ ଗରିବ, ଅସହାୟ ଲୋକଙ୍କ ଦୁଃଖକୁ ଆମେ ଯେପରି ନଜର ଅନ୍ଦାଜ୍ ନକରୁ । ସେମାନେ ଯେପରି ଅନୁଭବ ନ କରନ୍ତି ଯେ, ସେମାନଙ୍କ ଦୁଃଖ ଶୁଣିବା ପାଇଁ କେହି ନାହାନ୍ତି । ପୂର୍ବ ସରକାର ଏଥିପ୍ରତି ଉଦାସୀନ ମନୋଭାବ ପୋଷଣ କରୁଥିଲେ । ଆମେ କିନ୍ତୁ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜନ ଶୁଣାଣି କରିବା ପାଇଁ ନିଷ୍ପତ୍ତି ନେଇଛୁ । ଆଜି ସମ୍ବଲପୁରରେ ହେଲା, ଆଗାମୀ ଦିନରେ ରାଜ୍ୟର ଅନ୍ୟ ସ୍ଥାନରେ ହେବ ।
ଏହି କ୍ଷେତ୍ରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଦ୍ୱାରା ଅଧିକାରୀ ମାନେ ସେମାନଙ୍କ ସ୍ତରରେ ହିଁ, ଯେତେଦୂର ସମ୍ଭବ, ଲୋକଙ୍କ ସମସ୍ୟା ସମାଧାନ କରିବାକୁ ତତ୍ପର ହେବେ। ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ଦିଗରେ ଅଧିକ ସଚେତନ ହେବେ ବୋଲି ସେ କହିଛନ୍ତି। ସମସ୍ତ ଅଭିଯୋଗର ଶୀଘ୍ର ସମାଧାନ ପାଇଁ ଅଧିକାରୀ ମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆ ଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।
ପୂର୍ବ ଜନଶୁଣାଣି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗରୁ ଭୁବନେଶ୍ୱରରେ ଆମର ନଅ'ଟି ଜନ ଶୁଣାଣି ହୋଇଛି। ପୂର୍ବ ନଅ'ଟି ପାଳିରେ ୯,୩୭୭ ଲୋକଙ୍କ ଅଭିଯୋଗ ଗ୍ରହଣ କରିଛୁ ଏବଂ ପ୍ରାୟ ୮୮ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି। ଅବଶିଷ୍ଟ ଗୁଡିକ ପ୍ରକ୍ରିୟା ଭିତରେ ଅଛି । ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୦ମ ପାଳି। ଏହି ପାଳିରେ ପ୍ରାୟ ୧୦୦୦ ଜଣ ଅନଲାଇନ ଜରିଆରେ ପଂଜିକୃତ ଓ ଅଫଲାଇନରେ ପ୍ରାୟ ୪୦୦ ଲୋକଙ୍କ ଅଭିଯୋଗ ଗ୍ରହଣ କରାଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ଓ ନଗରଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଇଂ ଗଣେଶ ରାମ ସିଂ ଖୁଣ୍ଟିଆ, ପଞ୍ଚାୟତିରାଜ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ ।
You Can Read:
ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନାରେ ଓକିଲ ଏବଂ ତାଙ୍କ ପରିବାରକୁ ସାମିଲ କରିବାକୁ ଦାବି