ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ

Published By : Prameya-News7 Bureau | August 29, 2024 IST

ଭୁବନେଶ୍ବର ୨୯।୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ଶୁକ୍ରବାର ସୁଦ୍ଧା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ । ଆଗାମୀ ଦୁଇ ଦିନ ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ ତାରିଖ ଯାଏଁ ପ୍ରବଳକୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗୁରୁବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ଗୁରୁବାର ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

୩୦ ରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଠାଏ ଠାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା  ହୋଇପାରେ । କିଛି ସ୍ଥାନରେ ୭୦ରୁ ୨୦୦ମିମି ବର୍ଷା ସମ୍ଭାବନା ଅଛି । ନୂଆପଡ଼ା,  ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତ୍‌ସିଂହପୁରରେ  ଭାରୀ ବର୍ଷା ହୋଇପାରେ । ୩୧ ତାରିଖରେ ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।  

You Can Read:

ପିପିଲି ଓ ସତ୍ୟବାଦୀରେ ନିୟନ୍ତ୍ରଣରେ ବାର୍ଡ ଫ୍ଲୁ, ସନ୍ଦିଗ୍ଧ ବ୍ୟକ୍ତିଙ୍କ ନମୁନା ଆସିଛି ନେଗେଟିଭ୍: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.