ଭୁବନେଶ୍ୱର ୧୬।୦୩ : ମୁଖ୍ୟମନ୍ତ୍ରୀଙ୍କ ଶୋକ । ବିଶିଷ୍ଟ କବି ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୋକ । ପ୍ରଶାସନିକ ସେବା ଏବଂ ସାହିତ୍ୟ ଜଗତରେ ତାଙ୍କ ଅବଦାନ ସଦାସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଭୂଷଣ ସ୍ଵର୍ଗତ ରଥ ଭାରତୀୟ ସାହିତ୍ୟ ଜଗତର ଅଳ୍ପ କେତେଜଣ ଶ୍ରେଷ୍ଠ କବିଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସପ୍ତମ ଋତୁ, ଶ୍ରୀରାଧା, ସଚିତ୍ର ଅନ୍ଧାର, କେତେ ଦିନର, ଦୁଆର ଏପଟୁ, ନଯା ନଯା କହୁକହୁ ପରି ଅନେକ କାଳଜୟୀ ରଚନା ତାଙ୍କୁ ସାହିତ୍ୟ ଜଗତରେ ଚିର ଦିନ ପାଇଁ ଅମର କରି ରଖିବ । ସେହିପରି ବିଭିନ୍ନ ବିଭାଗର ସଚିବ ଓ ମୁଖ୍ୟ ଶାସନ ସଚିବ ଭାବେ ମଧ୍ୟ ରାଜ୍ୟର ବିକାଶରେ ସେ ଗୁରୁତ୍ଵପୂର୍ଣ୍ଣ ଭୂମିକା ରଖିଛନ୍ତି ।
ଓଡ଼ିଆ ସାହିତ୍ୟକୁ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପହଞ୍ଚେଇବାରେ ତାଙ୍କ ଭୂମିକାକୁ ଅସ୍ବୀକାର କରିହେବନି। କାଳଜୟୀ କାବ୍ୟଗ୍ରନ୍ଥ ଶ୍ରୀରାଧା ପାଇଁ ସରସ୍ୱତୀ ସମ୍ମାନ, ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ସଚିତ୍ର ଅନ୍ଧାର ପାଇଁ ସାରଳା ପୁରସ୍କାର ହାସଲ କରିବା ସହ ସେ ପ୍ରଥିତଯଶା ଲେଖକ ରୂପେ କେନ୍ଦ୍ର ସାହିତ୍ୟ ଏକାଡେମୀର ଫେଲୋସିପ ମଧ୍ୟ ପାଇଥିଲେ।
ତାଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି । ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରଥଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ସୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣେଇଛନ୍ତି। ତାଙ୍କ ପରି ମହାନ ସାହିତ୍ୟିକ ଓ ଯୁଗସ୍ରଷ୍ଟାଙ୍କୁ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ କରାଯିବ ।
ବିଶିଷ୍ଟ କବି ରମାକାନ୍ତ ରଥଙ୍କ ପରଲୋକ, ଆଧୁନିକ କାବ୍ୟର ଥିଲେ ଅନ୍ୟତମ ସ୍ରଷ୍ଟା