ଭୁବନେଶ୍ବର: ଜାନୁଆରୀ ୮ରୁ ୧୦ ତାରିଖ ତିନି ଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଭାରତୀୟ ସଂସ୍କୃତି ସାରା ବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ । ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର । ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ । ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶ ଗ୍ରହଣ ନିମନ୍ତେ ପଞ୍ଜିକରଣ କରି ସାରିଲେଣି ।
ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁ ଯୋଗଦେବେ । ଏହି ଅବସରରେ ସେ ଚନ୍ଦକା ସ୍ଥିତ ଗୋଡିବାରି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ । ଏହା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ମନ୍ତ୍ରୀ ଏସ୍ ଜୟ ଶଙ୍କର, ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରଭୁତି ଏହି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ ।