ରଜ ସଂକ୍ରାନ୍ତିରେ ଘରେ ଘରେ ମଉଜ, ପିଠା ପଣାରେ ମହକୁଛି ପୁରପଲ୍ଲୀ

Published By : Prameya-News7 Bureau | June 15, 2024 IST

ଭୁବନେଶ୍ୱର ୧୫/୦୬: ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ତିନିଦିନିଆ ରଜ ଉତ୍ସବର ଆଜି ଦ୍ୱିତୀୟ ଦିବସ । ଅର୍ଥାତ୍ ରଜ ସଂକ୍ରାନ୍ତି । ରବିବାର ଅର୍ଥାତ୍ କାଲି ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ । ସେହିଭଳି, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଯାହା ସୋମବାର ପଡିବ । 

ସୂଚନା ଥାଉକି, ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । 

ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ । 

ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । 

କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ । 

ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତା ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ ତାଙ୍କୁ । 

ଠିକ ସେହିପରି ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି । ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାତାର କର୍ତ୍ତବ୍ୟକୁ ସୁଚାରୁରୂପେ ତୁଲାଇପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ସ୍ୱଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.