ଭୁବନେଶ୍ୱର ୧୩।୧୧: ଲୋକସେବା ଭବନ ଠାରେ ଆମେରିକାର ମିୟୋ କ୍ଲିନିକ୍ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା ଗବେଷଣା ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶାରେ କ୍ୟାନସର ଚିକିତ୍ସା କ୍ଷେତ୍ରରେ ସବୁଠାରୁ ଆଧୁନିକ ରୋଗ ନିରୂପଣ ଓ ଚିକିତ୍ସା ପଦ୍ଧତିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି ।
ଆଲୋଚନାରୁ ଜଣାଯାଇଛି ଯେ, କ୍ୟାନସର ଚିକିତ୍ସା ଅତ୍ୟଧିକ ବ୍ୟୟ ସାପେକ୍ଷ ଓ ଅନିଶ୍ଚିତ । ଡି.ଏନ୍.ଏ ଟେଷ୍ଟ ଜରିଆରେ ତୁରନ୍ତ ରୋଗ ନିରୂପଣ ସହିତ କୌଣସି ଏକ ନିର୍ଦ୍ଦିଷ୍ଟ ଚିକିତ୍ସା ପ୍ରଣାଳୀ ଫଳପ୍ରଦ ହେଉଛି ବା ନାହିଁ ତାହା ମଧ୍ୟ ଖୁବ୍ ଶୀଘ୍ର ଜଣାପଡି ପାରିବ । ତେଣୁ ଓଡିଶାରେ ଏହି ନୂତନ ପଦ୍ଧତିର ପ୍ରୟୋଗ ସପକ୍ଷରେ ପ୍ରତିନିଧିମାନେ ମତ ରଖିଥିଲେ । ଏହାଦ୍ୱାରା ରୋଗ ନିରୂପଣ ଖୁବଶୀଘ୍ର ସୂଚନା ମିଳିବା ସହିତ ଫଳପ୍ରଦ ଚିକିତ୍ସା ପ୍ରଦାନ କରାଯାଇ ପାରିବ ।
ସ୍ୱାସ୍ଥ୍ୟସେବା, ବିଶେଷ କରି କ୍ୟାନସର ଚିକିତ୍ସାକୁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ବୋଲି ମତ ଦେଇ ଏ ସମ୍ପର୍କରେ ବିଧିବଦ୍ଧ ପ୍ରସ୍ତାବ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍. ଉପସ୍ଥିତ ଥିଲେ । ମିୟୋ କ୍ଲିନିକ ପକ୍ଷରୁ ପ୍ରଫେସର ଦେବ ମୁଖାର୍ଜୀ, ଆମେରିକା ସ୍ଥିତ ଏଲିଫାସ୍ ବାୟୋ ସାଇନ୍ସେସ୍ ପକ୍ଷରୁ ଚାର୍ଲସ୍ ମିଲର, ଇନ-ଡି.ଏନ୍.ଏ ଲାଇଫ୍ ସାଇନ୍ସର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଡ. ବିରେନ୍ ବାନାର୍ଜୀ ଓ ଏହାର ପ୍ରତିନିଧି ଦେବୀ ପ୍ରସାଦ ରଥ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।
You Can Read:
ବଲାଙ୍ଗୀରରେ ଶିଶୁ ବିକ୍ରି ! ଦିନକର ଶିଶୁ କନ୍ୟାକୁ ଅଚିହ୍ନା ହାତରେ ଟେକିଦେଲା ମା’